Home Agriculture ଅତ୍ୟାଧୁନିକ ଓମ୍‌ଫେଡ୍‌ ପ୍ଲାଣ୍ଟ ଉଦ୍‌ଘାଟିତ

ଅତ୍ୟାଧୁନିକ ଓମ୍‌ଫେଡ୍‌ ପ୍ଲାଣ୍ଟ ଉଦ୍‌ଘାଟିତ

ଭୁବନେଶ୍ୱର : ଆଜି କଟକ ଜିଲ୍ଲାର ଅରିଲୋ ଠାରେ ୨୬୩ କୋଟି ଟଙ୍କା ବ୍ୟୟରେ ନିର୍ମିତ ଓମ୍‌ଫେଡ୍‌ର ଅତ୍ୟାଧୁନିକ ଦୁଗ୍ଧ ପ୍ରକ୍ରିୟାକରଣ କାରଖାନା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଦ୍ବାରା ଉଦ୍‌ଘାଟିତ ହୋଇଯାଇଛି ।  ଏହି ଅତ୍ୟାଧୁନିକ ପ୍ଲାଣ୍ଟରେ ଦୈନିକ ୫ ଲକ୍ଷ ଲିଟର କ୍ଷୀର ପ୍ରକ୍ରିୟା କରଣ କରାଯିବ ଏବଂ ଏଥିରୁ ଦୈନିକ ୨ ଲକ୍ଷ ଲିଟର ଦୁଗ୍ଧ ଗୁଣ୍ଡ ଉତ୍ପାଦିତ ହେବ ।   ଏହା ସହିତ ଉଚ୍ଚମାନର ଦହି, ଦୁଗ୍ଧ, ଲହୁଣି, ଲସି, ଘିଅ, ପନୀର ଓ ବାସ୍ନାଯୁକ୍ତ ଦୁଗ୍ଧ ଉତ୍ପାଦନ କରାଯାଇ ଲୋକଙ୍କୁ ସୁଲଭ ମୂଲ୍ୟରେ ଯୋଗାଇ ଦିଆଯିବ  । 

ଏହି ଅବସରରେ ଆୟୋଜିତ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବରେ ଯୋଗ ଦେଇ ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ କହିଲେ ଯେ ଓମ୍‌ଫେଡ୍‌ ହେଉଛି ରାଜ୍ୟର ଲକ୍ଷ ଲକ୍ଷ ଦୁଗ୍ଧ ଚାଷୀ ମାନଙ୍କର ନିଜ ଅନୁଷ୍ଠାନ ।   ଏହାର ବିକାଶରେ ସବୁ ଚାଷୀ ଭାଇ ଭଉଣୀ ମାନଙ୍କର ଅବଦାନ ରହିଛି ।   ଓମ୍‌ଫେଡ୍‌ ମଧ୍ୟ ସବୁବେଳେ ଚାଷୀଙ୍କ ସ୍ବାର୍ଥର ସୁରକ୍ଷା ପାଇଁ କାମ କରିଆସୁଛି ।   ଆଜିର ଏହି ନୂଆ ପ୍ଲାଣ୍ଟ ଉଦଘାଟନ  ଦ୍ବାରା ଚାଷୀ ମାନଙ୍କର ରୋଜଗାର ବଢିବ ଓ ପ୍ରାୟ ୬ ଲକ୍ଷ ଚାଷୀ ଉପକାର ପାଇବେ । 

ମୁଖ୍ୟମନ୍ତ୍ରୀ କହିଲେ ଯେ ଆମର ସବୁ କାର୍ଯ୍ୟକ୍ରମର ମୁଖ୍ୟ ଲକ୍ଷ ହେଉଛି ଚାଷୀ ଭାଇର ରୋଜଗାର ବଢାଇବା ।   ଏଥିପାଇଁ ସରକାର ବିଭିନ୍ନ ଯୋଜନା କାର୍ଯ୍ୟକାରୀ କରୁଛନ୍ତି ।   ରାଜ୍ୟରେ ଡାଇରୀ ଫାର୍ମ ଓ ପ୍ରକ୍ରିୟାକରଣ କେନ୍ଦ୍ର ପ୍ରତିଷ୍ଠା ପାଇଁ ଯେପରି ଯୁବ ସମାଜ ଆଗେଇ ଆସିବେ ସେଥିପାଇଁ ରାଜ୍ୟ ସରକାର ୫୦ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ରିହାତି ଦେଉଛନ୍ତି ।   ତେଣୁ ସରକାରଙ୍କର ବିଭିନ୍ନ କାର୍ଯ୍ୟକ୍ରମର ସୁଯୋଗ ନେଇ ରାଜ୍ୟର ବିକାଶରେ ଭାଗୀଦାର ହେବା ପାଇଁ ମୁଖ୍ୟମନ୍ତ୍ରୀ ଆହ୍ବାନ ଜଣାଇଥିଲେ । 

ପୁଷ୍ଟି ନିରାପତ୍ତାରେ ଦୁଗ୍ଧର ଗୁରୁତ୍ବ ବିଷୟରେ ଉଲ୍ଲେଖ କରି ମୁଖ୍ୟମନ୍ତ୍ରୀ ଦୁଗ୍ଧ ଉତ୍ପାଦନ ବୃଦ୍ଧି ପାଇଁ ଆହ୍ବାନ ଜଣାଇଥିଲେ ଏବଂ ଶ୍ବେତ ବିପ୍ଳବ ଆଣିବା ପାଇଁ ସରକାରଙ୍କ ଉଦ୍ୟମରେ ସମସ୍ତଙ୍କର ସହଯୋଗ କାମନା କରିଥିଲେ ।  ରାଜ୍ୟରେ ଓମ୍‌ଫେଡ୍‌ର ଦୁଗ୍ଧ ସଂଗ୍ରହ କ୍ଷମତା ଦୈନିକ ୧୦ ଲକ୍ଷ ଲିଟରକୁ ବୃଦ୍ଧି କରିବାକୁ ଲକ୍ଷ୍ୟ ରଖାଯାଇଛି ବୋଲି ମୁଖ୍ୟମନ୍ତ୍ରୀ ପ୍ରକାଶ କରିଥିଲେ ।  

ସୂଚନାଯୋଗ୍ୟ ଯେ ଗତ ଦୁଇ ଦଶକରେ ରାଜ୍ୟରେ ଦୁଗ୍ଧ ଉତ୍ପାଦନ ତିନିଗୁଣ ବୃଦ୍ଧି ପାଇଛି ।  ୨୦୦୦ ମସିହାରେ ରାଜ୍ୟରେ ଦୁଗ୍ଧ ଉତ୍ପାଦନ ୮ଲକ୍ଷ ୭୫ ହଜାର ମେଟ୍ରିକ ଟନ୍‌ ଥିବାବେଳେ ୨୦୨୦ ରେ ଏହା ୨୩ ଲକ୍ଷ ୭୦ ହଜାର ମେଟ୍ରିକ ଟନ୍‌କୁ ବୃଦ୍ଧି ପାଇଛି ।  ବର୍ତ୍ତମାନ ଓମ୍‌ଫେଡ୍‌ ଦ୍ବାରା ଦୈନିକ ସଂଗୃହିତ ୫ ଲକ୍ଷ ଲିଟର ଦୁଗ୍ଧ ଓମ୍‌ଫେଡ୍‌ର ୪୦୫ ଟି ଶୀତଳୀକରଣ କେନ୍ଦ୍ରରେ କରାଯାଉଛି ଏବଂ ୧୩ ଟି ପ୍ଲାଣ୍ଟରେ ପ୍ରକ୍ରିୟାକରଣ କରାଯାଉଛି ।   

ଏହି କାର୍ଯ୍ୟକ୍ରମରେ ଯୋଗ ଦେଇ ବିଭାଗୀୟ ମନ୍ତ୍ରୀ ଡ. ଅରୁଣ ସାହୁ ରାଜ୍ୟରେ କୃଷି ଓ ଆନୁସଙ୍ଗୀକ କୃଷିର ବିକାଶ କ୍ଷେତ୍ରରେ ସରକାର ଗ୍ରହଣ କରିଥିବା ବିଭିନ୍ନ କାର୍ଯ୍ୟକ୍ରମ ଉପରେ ଆଲୋକପାତ କରିଥିଲେ ।  ସଂଗୃହିତ ଦୁଗ୍ଧର ଉପଯୁକ୍ତ ବିକ୍ରି ଓ ଉଚିତ ମୂଲ୍ୟ ପାଇବା ହେତୁ ଦୁଗ୍ଧ ଚାଷୀଙ୍କ ଆୟରେ ଉଲ୍ଲେଖନୀୟ ବୃଦ୍ଧି ଘଟିବେ ବୋଲି ସେ ଆଶା ପ୍ରକାଶ କରିଥିଲେ ।  ଅନ୍ୟମାନଙ୍କ ମଧ୍ୟରେ ବାଙ୍କି ବିଧାୟକ  ଦେବୀ ରଞ୍ଜନ ତ୍ରିପାଠୀ, ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର, ଉନ୍ନୟନ କମିଶନର ପ୍ରଦୀପ ଜେନା, NDDB ର ଅଧ୍ୟକ୍ଷ ଓ ବିଭାଗୀୟ ଶାସନ ସଚୀବ ପ୍ରମୁଖ ଯୋଗ ଦେଇଥିଲେ