ସମ୍ବଲପୁର: ସମ୍ବଲପୁରର ଅଧିଷ୍ଠାତ୍ରୀ ଦେବୀ ମା’ ସମଲେଶ୍ୱରୀଙ୍କ ମନ୍ଦିରର ସୌନ୍ଦର୍ଯ୍ୟକରଣ ଓ ପାରିପାର୍ଶିକ ବିକାଶ କାର୍ଯ୍ୟ ଖୁବଶୀଘ୍ର ଆରମ୍ଭ କରାଯିବ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶକ୍ରମେ ଏକ ଉଚ୍ଚସ୍ତରୀୟ ପ୍ରତିନିଧି ଦଳ ଆଜି ସମ୍ବଲପୁର ଯାଇ ମା’ ସମଲେଶ୍ୱରୀଙ୍କ ମନ୍ଦିର ପରିଦର୍ଶନ କରିଥିଲେ ଏବଂ ସେ ଅଞ୍ଚଳର ବିକାଶ ସମ୍ପର୍କରେ ବିସ୍ତୃତ ଆଲୋଚନା କରିଥିଲେ ।
ଓଡିଶାର ପ୍ରସିଦ୍ଧ ଶକ୍ତି ପୀଠମାନଙ୍କ ମଧ୍ୟରେ ମା’ ସମଲେଶ୍ୱରୀଙ୍କ ପୀଠ ଅନ୍ୟତମ ଅଟେ । ପଶ୍ଚିମ ଓଡିଶାର ସାମାଜିକ, ସାଂସ୍କୃତିକ ଓ ଆଧ୍ୟାତ୍ମିକ ଜୀବନ ସହ ସମଲେଶ୍ୱରୀ ପୀଠର ଘନିଷ୍ଟ ସମ୍ପର୍କ ରହିଛି । ପ୍ରତିଦିନ ରାଜ୍ୟ ତଥା ରାଜ୍ୟ ବାହାରୁ ଅନେକ ତୀର୍ଥଯାତ୍ରୀ ଓ ପର୍ଯ୍ୟଟକ ମା’ଙ୍କ ଆଶୀର୍ବାଦ ପାଇଁ ଆସିଥାନ୍ତି ।
ଏହି ପୀଠର ଗୁରୁତ୍ୱ ଓ ମହିମାକୁ ଦୃଷ୍ଟିରେ ରଖି ଏହାକୁ ଅଧିକ ଆକର୍ଷଣୀୟ କରାଯିବ ବୋଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କୋଭିଡ଼ର ଠିକ୍ ପୂର୍ବରୁ ମନ୍ଦିର ପରିଦର୍ଶନ ଅବସରରେ ଘୋଷଣା କରିଥିଲେ । ସମଲେଶ୍ୱରୀ ମନ୍ଦିର ବିକାଶ ପ୍ରକଳ୍ପରେ ମନ୍ଦିରର ସୌନ୍ଦର୍ଯ୍ୟକରଣ ସହିତ ପାରିପାର୍ଶିକ ବିକାଶ, ଐତିହ୍ୟ କରିଡରର ବିକାଶ, ଭୋଗମଣ୍ଡପ, ଯାତ୍ରୀ ଓ ଭକ୍ତ ନିବାସ, ପାର୍କିଂ ସୁବିଧା ଏବଂ ନଦୀ ସମ୍ମୁଖ ଭାଗର ବିକାଶକୁ ଅନ୍ତର୍ଭୁକ୍ତ କରାଯାଇଛି ।
ଏଥିରେ ମନ୍ଦିରର ପୂଜାରୀ ତଥା ଜମି ହରାଉଥିବା ଲୋକମାନଙ୍କର ଥଇଥାନ ଓ ପୁନର୍ବାସ ପାଇଁ ଏକ ସ୍ୱତନ୍ତ୍ର ପ୍ୟାକେଜ ଘୋଷଣା କରାଯିବ ବୋଲି ଜଣାଯାଇଛି । ରାଜ୍ୟ ସରକାରଙ୍କର ୫-ଟି କାର୍ଯ୍ୟକ୍ରମ ଅଧୀନରେ ଏହି ପ୍ରକଳ୍ପ କାର୍ଯ୍ୟକାରୀ କରାଯିବ ଏବଂ ୨ ବର୍ଷ ମଧ୍ୟରେ ପ୍ରକଳ୍ପ କାର୍ଯ୍ୟ ସମ୍ପୂର୍ଣ୍ଣ କରିବା ପାଇଁ ଲକ୍ଷ୍ୟ ରଖାଯାଇଛି ।
ଏହି ପ୍ରତିନିଧି ଦଳରେ ପଶ୍ଚିମ ଓଡିଶା ବିକାଶ ପରିଷଦର ଅଧ୍ୟକ୍ଷ ଅସିତ ତ୍ରିପାଠୀ, ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର ଏବଂ ମୁଖ୍ୟମନ୍ତ୍ରୀଙ୍କ ସଚିବ (୫-ଟି) ଭି.କେ ପାଣ୍ଡିଆନ ଯାଇ ପ୍ରକଳ୍ପ ଅଞ୍ଚଳ ବୁଲି ଦେଖିବା ସହିତ ଏ ସମ୍ପର୍କରେ ବିସ୍ତୃତ ଆଲୋଚନା କରିଥିଲେ । ରାଜ୍ୟ ପୂର୍ତ୍ତ ସଚିବ ଓ ସମ୍ବଲପୁରର ଜିଲ୍ଲାପାଳ ଏ ଯୋଜନା ସମ୍ପର୍କରେ ଉପସ୍ଥାପନା ଦେଇଥିଲେ । ଉତ୍ତରାଞ୍ଚଳ ଆରଡିସି, ଡିଆଇଜି ଏବଂ ଏସପି ପ୍ରମୁଖ ଉପସ୍ଥିତ ଥିଲେ ।