Home General ୟୁକ୍ରେନ୍ ଫେରନ୍ତା ଛାତ୍ରଛାତ୍ରୀଙ୍କୁ ସ୍ୱାଗତ କଲେ ମୁଖ୍ୟମନ୍ତ୍ରୀ

ୟୁକ୍ରେନ୍ ଫେରନ୍ତା ଛାତ୍ରଛାତ୍ରୀଙ୍କୁ ସ୍ୱାଗତ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ଆଜି ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ  ୟୁକ୍ରେନରୁ ଫେରି ଆସି ନୂଆଦିଲ୍ଲୀରେ ଥିବା ଓଡିଆ ଛାତ୍ରଛାତ୍ରୀଙ୍କ ସହିତ ଆଲୋଚନା କରିଛନ୍ତି । ଛାତ୍ରଛାତ୍ରୀ ମାନଙ୍କୁ ସ୍ୱାଗତ କରି ୟୁକ୍ରେନରେ ରହିଯାଇଥିବା ଅନ୍ୟ ଛାତ୍ରଛାତ୍ରୀଙ୍କ ଫେରିବା ପାଇଁ ସବୁପ୍ରକାର ଉଦ୍ୟମ କରାଯିବ ବୋଲି ମୁଖ୍ୟମନ୍ତ୍ରୀ ଭରସା ଦେଇଛନ୍ତି ।  ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଓଡିଆ ଛାତ୍ରଛାତ୍ରୀ ମାନଙ୍କ ଫେରିବା ସଂପର୍କରେ ସେ କେନ୍ଦ୍ର ଗୃହମନ୍ତ୍ରୀ ଓ ବୈଦେଶିକ ମନ୍ତ୍ରୀଙ୍କ ସହିତ ଆଲୋଚନା କରିଛନ୍ତି ଏବଂ ସେ ଆଉଥରେ ମଧ୍ୟ ଏ ବିଷୟରେ କଥାବାର୍ତ୍ତା କରି ପଦକ୍ଷେପ ନେବେ ବୋଲି କହିଥିଲେ ।

ଛାତ୍ରଛାତ୍ରୀମାନଙ୍କୁ ସେମାନଙ୍କ ଅଭିଜ୍ଞତା ବର୍ଣ୍ଣନା କରି କହିଥିଲେ ଯେ ସେମାନେ ସମସ୍ତେ ରୋମାନିଆ ସୀମା ଅତିକ୍ରମ କରି ଭାରତୀୟ ଅଧିକାରୀ ମାନଙ୍କ ସହିତ ବୁକାରେଷ୍ଟ ଯାଇଥିଲେ ଏବଂ ସେଠାରୁ ବିମାନ ଯୋଗେ ନୂଆଦିଲ୍ଲୀ ଆସିଥିଲେ ।   ନୂଆଦିଲ୍ଲୀରେ ଅବସ୍ଥାପିତ ରେସିଡେଣ୍ଟ କମିଶନର ସେମାନଙ୍କ ସହିତ ସବୁ ସମୟରେ ଅନ୍‌ଲାଇନ ଜରିଆରେ ଯୋଗାଯୋଗରେ ଥିଲେ ବୋଲି ସେମାନେ କହିଥିଲେ । ୟୁକ୍ରେନର ଅନ୍ୟ ସ୍ଥାନରେ ଥିବା,  ବିଶେଷକରି ଖାରକିବ୍‌ରେ ବହୁ ଓଡିଆ ଛାତ୍ରଛାତ୍ରୀ ଅଛନ୍ତି ଓ ସେମାନଙ୍କୁ ଫେରାଇ ଆଣିବାପାଇଁ ପଦକ୍ଷେପ ନେବାକୁ ସେମାନେ ଅନୁରୋଧ କରିଥିଲେ ।

ୟୁକ୍ରେନରୁ ଫେରୁଥିବା ପିଲାଙ୍କ ସୁବିଧା ପାଇଁ ମୁମ୍ବାଇ ବିମାନ ବନ୍ଦରରେ help desk ଖୋଲିବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଥିଲେ । ଏହା ସହିତ ଭୁବନେଶ୍ୱର ରେ ପହଞ୍ଚି ବା ପରେ ପିଲାମାନଙ୍କୁ ଓଟିଡିସି ବସ୍ ଯୋଗେ ସେମାନଙ୍କ ଘରେ ପହଞ୍ଚାଇବା ପାଇଁ ମୁଖ୍ୟମନ୍ତ୍ରୀ ମଧ୍ୟ ନିର୍ଦ୍ଦେଶ ଦେଇଥିଲେ ।

ଆଲୋଚନା ସମୟରେ ମୁଖ୍ୟ ଶାସନ ସଚିବ ଶ୍ରୀ ସୁରେଶ ମହାପାତ୍ର ଓ ସ୍ବତନ୍ତ୍ର ରିଲିଫ କମିଶନର ଶ୍ରୀ ପ୍ରଦୀପ ଜେନା ଉପସ୍ଥିତ ଥିଲେ । ମୁଖ୍ୟମନ୍ତ୍ରୀଙ୍କ ସଚିବ (୫-ଟି) ଶ୍ରୀ ଭି.କେ. ପାଣ୍ଡିଆନ  ଆଲୋଚନାକୁ ସଯୋଜନା କରିଥିଲେ।