Home News in Odia ୧୮ରୁ ପ୍ରବଳ ବର୍ଷା

୧୮ରୁ ପ୍ରବଳ ବର୍ଷା

ଭୁବନେଶ୍ୱର : ଆସନ୍ତା ୧୮ ତାରିଖରୁ ରାଜ୍ୟରେ ଲଘୁଚାପଜନିତ ବର୍ଷା ଆରମ୍ଭ ହେବ ଏବଂ ୨୦ ତାରିଖରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଭାରତୀୟ ପାଣିପାଗ ବିଭାଗ ଆଜି ଏ ନେଇ ସୂଚନା ଜାରି କରିଛି ।

ଏହି ସୂଚନା ଅନୁଯାୟୀ ଆସନ୍ତା ୧୮ ତାରିଖରେ ଉତ୍ତର ପଶ୍ଚିମ ବଙ୍ଗୋପସାଗର ଓ ଏହାର ଆଖପାଖ ଅଞ୍ଚଳରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବା ସହିତ ୪୮ଘଣ୍ଟା ମଧ୍ୟରେ ଏହା ଲଘୁଚାପର ରୂପ ନେବ । ଏହାର ପ୍ରଭାବରେ ୧୮ ଓ ୧୯ ତାରିଖରେ ରାଜ୍ୟର କେତେକ ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ରହିଛି ।

ଲଘୁଚାପ ପ୍ରଭାବରେ ୧୮ ତାରିଖରେ କଳାହାଣ୍ଡି, କନ୍ଧମାଳ, ବଲାଙ୍ଗୀର, ଗଜପତି, ଗଞ୍ଜାମ, ପୁରୀ ଏବଂ ଜଗତସିଂହପୁର ଜିଲ୍ଲାରେ ପ୍ରବଳ ବର୍ଷା ସମ୍‍ଭାବନା ଥିବାରୁ ଏହିସବୁ ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ସେହିଭଳି ୧୯ ତାରିଖରେ ମାଲକାନଗିରି, କୋରାପୁଟ, ଗଜପତି, ଗଞ୍ଜାମ, ରାୟଗଡା, କଳାହାଣ୍ଡି, କନ୍ଧମାଳ, ପୁରୀ, ଖୋର୍ଦ୍ଧା, କଟକ, ଜଗତସିଂହପୁର ଓ କେନ୍ଦ୍ରାପଡା ଜିଲ୍ଲାରେ ୭ରୁ ୧୧ ସେଣ୍ଟିମିଟର ବର୍ଷା ସମ୍ଭାବନା ରହିଛି । ଏହିସବୁ ଜିଲ୍ଲା ପାଇଁ ମଧ୍ୟ ପାଣିପାଗ ବିଭାଗ ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି ।

ତେବେ ୨୦ ତାରିଖରେ ବୌଦ୍ଧ, ଅନୁଗୁଳ, ସୋନପୁର, କନ୍ଧମାଳ ଓ କଳାହାଣ୍ଡି ଜିଲ୍ଲାରେ ଅତି ପ୍ରବଳ ବର୍ଷାର ସମ୍ଭାବନା ରହିଛି । ଏହିସବୁ ଜିଲ୍ଲାରେ ୭ରୁ ୨୦ ସେଣ୍ଟିମିଟର ପର୍ଯ୍ୟନ୍ତ ବର୍ଷା ଆଶଙ୍କା କରାଯାଇଥିବା ବେଳେ ଗଜପତି, ଗଞ୍ଜାମ, ପୁରୀ, ଖୋର୍ଦ୍ଧା, ନୟାଗଡ, କଟକ, ଜଗତସିଂହପୁର, ଢ଼େଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ, ଦେବଗଡ, ସମ୍ବଲପୁର, ବରଗଡ, ବଲାଙ୍ଗୀର, ନୂଆପଡା ଓ ରାୟଗଡା ଜିଲ୍ଲାରେ ୭ରୁ ୧୧ ସେଣ୍ଟିମିଟର ବର୍ଷାର ସମ୍ଭାବନା ରହିଛି ।