Home Health ଓଡିଶାରେ ଲାଗୁହେଲା ଆୟୁଷ୍ମାନ ଭାରତ

ଓଡିଶାରେ ଲାଗୁହେଲା ଆୟୁଷ୍ମାନ ଭାରତ

ଭୁବନେଶ୍ୱର : ଓଡିଶାରେ କାର୍ଯ୍ୟକାରୀ ହେବ ଆୟୁଷ୍ମାନ ଭାରତ ପ୍ରଧାନମନ୍ତ୍ରୀ ଜନ ଆରୋଗ୍ୟ ଯୋଜନା । ଏଥିପାଇଁ ଆଜି ନୂଆ ଦିଲ୍ଲୀର ବିଜ୍ଞାନ ଭବନରେ ଆୟୋଜିତ ଏକ କାର୍ଯ୍ୟକ୍ରମରେ କେନ୍ଦ୍ର ସରକାରଙ୍କ ନ୍ୟାସନାଲ୍ ହେଲଥ ଅଥରିଟି ସହିତ ରାଜ୍ୟ ସରକାରଙ୍କ ସ୍ୱାସ୍ଥ୍ୟ ବିଭାଗର ଏକ ଚୁକ୍ତିନାମା ସ୍ୱାକ୍ଷରିତ ହୋଇଛି ।

ଏହା ଦ୍ୱାରା ବର୍ତ୍ତମାନ ରାଜ୍ୟର ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନା ସହିତ ଆୟୁଷ୍ମାନ ଭାରତ ପ୍ରଧାନମନ୍ତ୍ରୀ ଜନ ଆରୋଗ୍ୟ ଯୋଜନା ଯୋଡିହେଲା  । ରାଜ୍ୟର ୧.୦୩ କୋଟି ପରିବାର ଉପକୃତ ହେବେ । ଏହା ଦ୍ୱାରା ରାଜ୍ୟର ୭୦ ବର୍ଷରୁ ଉର୍ଦ୍ଧ୍ୱ ବରିଷ୍ଠ ନାଗରିକ ମାନେ ମଧ୍ୟ ଚିକିତ୍ସା  ସୁବିଧା ପାଇପାରିବେ । ବର୍ତ୍ତମାନ ରାଜ୍ୟରେ ୨୩,୧୨, ୯୭୯ ଜଣ ୭୦ ବର୍ଷରୁ ଅଧିକ ବରିଷ୍ଠ ନାଗରିକ ଅଛନ୍ତି ବୋଲି ଜଣାଯାଇଛି ।

ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ଏହି ଯୋଜନା ଦ୍ୱାରା ଓଡିଶାର ଲୋକ, ବିଶେଷ କରି  ଗ୍ରାମାଞ୍ଚଳର ଲୋକଙ୍କ ଚିକିତ୍ସା କ୍ଷେତ୍ରରେ ଏହି ଯୋଜନା ଯୁଗାନ୍ତକାରୀ ପରିବର୍ତ୍ତନ ଆଣିବ । ରାଜ୍ୟର ସ୍ୱାସ୍ଥ୍ୟ କ୍ଷେତ୍ରରେ କାୟାକଳ୍ପ ପରିବର୍ତ୍ତନ ପାଇଁ ରାଜ୍ୟ ସରକାର ଉଦ୍ୟମ ଜାରି ରଖିଛନ୍ତି ବୋଲି ପ୍ରକାଶ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ସ୍ୱାସ୍ଥ୍ୟ କ୍ଷେତ୍ରରେ ଏହି ସବୁ ଯେଉଁ ଯୁଗାନ୍ତକାରୀ ପଦକ୍ଷେପ ନିଆଯାଉଛି ତାହା ୨୦୩୬ ସୁଦ୍ଧା ସମୃଦ୍ଧ ଓଡିଶା ଓ ୨୦୪୭ ସୁଦ୍ଧା ବିକଶିତ ଭାରତ ଗଠନର ଲକ୍ଷ୍ୟରେ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିବ ।

ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ରାଜ୍ୟର ପଞ୍ଚାୟତ ସ୍ତରରେ ଯେଉଁ ହେଲଥ ସବ୍ ସେଣ୍ଟର ଅଛି ତାହା ଠିକଭାବେ କାର୍ଯ୍ୟକାରୀ ହେଉନାହିଁ । ତେଣୁ, ରାଜ୍ୟ ସରକାର ବର୍ତ୍ତମାନ ପ୍ରତି ପଞ୍ଚାୟତରେ ଗୋଟିଏ  ଗୋଟିଏ ଆୟୁଷ୍ମାନ ଆରୋଗ୍ୟ ମନ୍ଦିର ପ୍ରତିଷ୍ଠା କରିବେ ବୋଲି ମୁଖ୍ୟମନ୍ତ୍ରୀ ଘୋଷଣା କରିଥିଲେ । ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ଏଥିରେ ହେଲଥ ୱାର୍କର ଓ ଯୋଗ ଶିକ୍ଷକ ନିୟୋଜିତ ହେବେ । ଏହି ସବୁ କେନ୍ଦ୍ର ଗୁଡିକର ପୂର୍ଣ୍ଣାଙ୍ଗ ଭିତ୍ତିଭୂମି ବିକଶିତ କରାଯିବ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ । 

ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ମାନ୍ୟବର ପ୍ରଧାନମନ୍ତ୍ରୀଙ୍କ ଦ୍ୱାରା ଏହି ଯୋଜନା ୨୦୧୮ ମସିହାରୁ ଲାଗୁ ହୋଇଥିଲେ ମଧ୍ୟ ଓଡିଶାର ଲୋକଙ୍କୁ ଏଥିରୁ ବଞ୍ଚିତ କରାଯାଇଥିଲା । ବର୍ତ୍ତମାନ ଏହି ଯୋଜନା ଓଡିଶାର ନିଜସ୍ୱ ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନା ସହିତ ଯୋଡିହେବ ଏବଂ ଏହା ଦ୍ୱାରା ଓଡିଶାରେ ୧ କୋଟିରୁ ଅଧିକ ପରିବାର ଦେଶର ୨୯ ହଜାର ଚିକିତ୍ସାଳୟରେ ସ୍ୱାସ୍ଥ୍ୟ ସୁବିଧା ପାଇପାରିବେ । ବର୍ତ୍ତମାନ ମାତ୍ର ୯୦୦ ହସ୍ପିଟାଲରେ ଚିକିତ୍ସା ସୁବିଧା ମିଳୁଛି ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ ।

ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ଚଳିତ ବଜେଟ୍ ରେ ସ୍ୱାସ୍ଥ୍ୟକ୍ଷେତ୍ରରେ ପ୍ରାୟ ୨୧ ହଜାର କୋଟି ଟଙ୍କାର ବ୍ୟବସ୍ଥା କରାଯାଇଛି ଯାହାକି ପୂର୍ବ ବର୍ଷ ଅପେକ୍ଷା ୩୨.୨ ପ୍ରତିଶତ ଅଧିକ ଏବଂ ଏହା ରାଜ୍ୟ ବଜେଟର ୮ ପ୍ରତିଶତ । ଏହି ପରିମାଣ ଜାତୀୟ ସ୍ୱାସ୍ଥ୍ୟନୀତିର ସୁପାରିଶ ଅନୁରୂପ ହୋଇଛି ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ ।

ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ଏହି ଯୋଜନାରେ ପୁରୁଷ ମାନେ ୫ ଲକ୍ଷ ପର୍ଯ୍ୟନ୍ତ ଚିକିତ୍ସା ସୁବିଧା ପାଇପାରିବେ । ମହିଳା ହିତାଧିକାରୀ ମାନେ ୧୦ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଚିକିତ୍ସା ସୁବିଧା ପାଇବେ ।

ଏହି କାର୍ଯ୍ୟକ୍ରମରେ କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଜଗତ ପ୍ରକାଶ ନଡ୍ଡା, କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ଆଦିବାସୀ ବ୍ୟାପାର ମନ୍ତ୍ରୀ ଜୁଏଲ ଓରାମ, ରେଲ୍, ଆଇ.ଟି, ସୂଚନା ଓ ପ୍ରସାରଣ ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ, ଓଡିଶାର ଉପ-ମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ, ସ୍ୱାସ୍ଥ୍ୟ ମନ୍ତ୍ରୀ ଡଃ ମୁକେଶ ମହାଲିଙ୍ଗ ପ୍ରମୁଖ ନିଜର ଅଭିଭାଷଣ ରଖିଥିଲେ ।